ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁର୍ନୀତିଗ୍ରସ୍ତ ଏବଂ ଅପାରଗତା ପାଇଁ ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ଓଡ଼ିଶା ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି | ତେବେ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୪ ଅଧିକାରୀଙ୍କ ମଧ୍ୟରେ ୨ ଜଣ OAS ଅଧିକାରୀ ରହିଛନ୍ତି । ଜଣେ ଜିଲ୍ଲା ସବ ରେଜିଷ୍ଟ୍ରାର ହୋଇଥିବା ବେଳେ ଆଉ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ହୋଇଥିବା ଜଣାପଡିଛି | ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଶ୍ରୀ ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଶ୍ରୀ ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଢେଙ୍କାନାଳର ଜିଲ୍ଲା ସବ୍ ରେଜିଷ୍ଟ୍ରାର ଶ୍ରୀ ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ ମଧ୍ୟ ରହିଛି । ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ପରିଶେଷରେ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……