Report Card Odisha

| Daily Odia News

ପଞ୍ଚାୟତ ନିର୍ବାଚନ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ରାଜ୍ୟ ନିର୍ବାଚନ କମିଶନର…….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ଆସନ୍ତା ବର୍ଷ ପ୍ରାରମ୍ଭରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି । ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ବିସ୍ତୃତ ଆଲୋଚନା ହୋଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଅକ୍ଟୋବର ୪ ତାରିଖରେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ବାଚନ ନେଇ ଚିଠି ପ୍ରଦାନ କରାଯାଇଛି । ସେହି ଅନୁସାରେ ଜିଲ୍ଲାପାଳମାନେ ସଂପୃକ୍ତ ଜିଲ୍ଲାର ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ୟ୍ୟ ସମାପ୍ତ କରିବେ । ଆସନ୍ତା ୨୬ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହି ତାଲିକା ଜିଲ୍ଲାପାଳମାନେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ନିର୍ବାଚନ କମିଶନଙ୍କୁ ପଠାଇବାକୁ କୁହାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ପଦ ସଂରକ୍ଷଣ ତଥ୍ୟ ନିର୍ଦ୍ଧାରିତ ପ୍ରୋଫର୍ମାରେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସ ସଂପର୍କରେ ନିର୍ବାଚନ କମିଶନର ଆଲୋଚନା କରିଛନ୍ତି । ପ୍ରତ୍ୟେକ ଜିଲ୍ଲାରେ କେତେ କେତେ ବାଲାଟ୍‌ ବକ୍ସ ଦରକାର ହେବ, ଜିଲ୍ଲାସ୍ତରରେ କେତେ ବାଲାଟ୍‌ ବକ୍ସ ଅଛି, ସେ ସଂପର୍କରେ କମିଶନ ଜାଣିବାକୁ ଚାହିଁଛନ୍ତି । ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇଛନ୍ତି । ଏଥି ନିମନ୍ତେ ୧ କୋଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି । ୧୫ ନଭେମ୍ବର ସୁଦ୍ଧା ଏ ସମସ୍ତ କାର୍ୟ୍ୟ ସଂପନ୍ନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପରେ ଭୋଟଗଣତି ସମ୍ପର୍କରେ ନିର୍ବାଚନ କମିଶନ ଏକ ବିସ୍ତୃତ ନିୟମାବଳୀ ଜାରି କରିଛନ୍ତି । ଏଥର ପଞ୍ଚାୟତ ନିର୍ବାଚନ ଭୋଟଗଣତି ବ୍ଲକ୍‌ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲାପାଳ ଭୋଟଗଣତି ସମ୍ପର୍କରେ ଜାରି କରାଯାଇଥିବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବା ପାଇଁ କମିଶନ ତରଫରୁ କୁହାଯାଇଛି । ଜିଲ୍ଲାପାଳମାନେ ବ୍ଲକ୍‌ ମୁଖ୍ୟାଳୟରେ ଭୋଟଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

 

Breaking News