Report Card Odisha

| Daily Odia News

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ପୁରୀ

ଆସନ୍ତା ଜୁଲାଇ ୧ ତାରିଖ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା | ଆଜି ରଥଯାତ୍ରା ତୃତୀୟ ସମନ୍ବୟ ବୈଠକ ପୁରୀ ଟାଉନ୍ ହଲଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ଜରିଆରେ ଯୋଡ଼ି ହୋଇ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । ଏବର୍ଷ ଅଧିକ ଭକ୍ତ ଆସିବେ । ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଭିଡ୍ ସମୟରେ ରଥଯାତ୍ରା ବେଳେ ସେବାୟତମାନେ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ସ୍ଥାନୀୟ ଜନସାଧାରଣ ଓ ସେବାୟତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ | ବୈଠକରେ ସ୍ବାସ୍ଥ୍ୟ, ଗମନାଗମନ, ରାସ୍ତାଘାଟ, ରଥ ନିର୍ମାଣ ଆଦିର ବିସ୍ତୃତ ସମୀକ୍ଷା କରାଯାଇଛି।ଏହି ବୈଠକରେ ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ ।

 

Breaking News