ରିପୋର୍ଟ କାର୍ଡ / ପୁରୀ
ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା | ଭକ୍ତ ଭଗବାନଙ୍କର ହେବ ଅପୂର୍ବ ମିଳନ | ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆସନ୍ତାକାଲି ପୂର୍ବାହ୍ଣ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ। ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ନୀତି) ପକ୍ଷରୁ ସୂଚନା ଦିଆଯାଇଛି ଯେ, ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ପ୍ରସ୍ତୁତି ହୋଇସାରିଛି। ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ମଙ୍ଗଳବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ। ୬ଟା ୧୦ରେ ମଇଲ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡି ଭୋଗ) ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ପହଣ୍ଡି ଶେଷ ହେଲା ପରେ ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି,ବେଶ ଶେଷ ହେବ। ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା,୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯାଇ ରଥ ଗଡିବ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ |






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..