ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି | ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁରସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ, ବରିଷ୍ଠ ବିଜେପି ନେତ୍ରୀ ତଥା କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ସେଠାରୁ ସେ ପୁରୀ ଅଭିମୁଖେ ଗସ୍ତ କରିବେ । ପୁରୀରେ ରାତି ରହଣୀ କରିବା ପରେ ଗୁରୁବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରକୁ ଯାଇ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ଏହାପରେ ପୁରୀର ପେଣ୍ଠକଟାସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପରଣ କରିବେ । ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ବୀରହରେକୃଷ୍ଣପୁରସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରି ଭୁବନେଶ୍ୱର ଫେରି ଆସିବେ । ଗୁରୁବାର ଅପରାହ୍ନରେ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ୱରଠାରେ କୁଇ ଓ ଦେଶୀୟ ଭାଷା ଉପରେ ଆଧାରିତ ଏକ ପୁସ୍ତକ ଉନ୍ମୋଚନ କରିବେ ଓ ପ୍ରାୟ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହଠାରେ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ । ଗୁରୁବାର ରାତିରେ ଶ୍ରୀମତୀ ସୀତାରମଣ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..