ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗ୍ରାମବିକାଶ କ୍ଷେତ୍ରରେ ସାରା ଭାରତବର୍ଷପାଇଁ ପଥ ପ୍ରଦର୍ଶକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। ଶ୍ରୀ ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ସମସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଗକୁ ବଢିବାର ବାଟ ଖୋଲିଛନ୍ତି। ସମସ୍ତଙ୍କ ମନରେ ଆତ୍ମବିଶ୍ୱାସ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର, ୫ ଟଙ୍କାରେ ଲକ୍ଷ୍ମୀ ବସ, ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ ଟଙ୍କା ଦିଆଯାଉଛି ବୋଲି କହିଥିଲେ।






More Stories
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ:ପାସ୍ ହାର ୯୫.୩୩%….
ରାଜ୍ୟରେ ୭ ଯାଏଁ କାଳବୈଶାଖୀ…..
ଆଜି ମାଟ୍ରିକ ପରୀକ୍ଷା ଫଳ…..