ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ। ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡ଼ିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡ଼ିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡ଼ିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢ଼ିବ ଆମ ଓଡ଼ିଶା ନବୀନ ଓଡ଼ିଶା। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……