Report Card Odisha

| Daily Odia News

୧୮ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରେ ୧୪.୭୦କୋଟି ବ୍ୟୟରେ ନିର୍ମାଣ ହୋଇଥିବା ୯ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିବେ। ଏହାସହ ମୁଖ୍ୟମନ୍ତ୍ରୀ ୩୩.୬୮କୋଟିରେ ନିର୍ମାଣ ହେବାକୁ ଥିବା‌ ନୂତନ ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ବାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନ୍‌ର ମଧ୍ୟ ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ବରଗଡ଼ ଜିଲ୍ଲାର ପଦ୍ମପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗୀର ଜିଲ୍ଲା ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ ଓ ଟିଟିଲାଗଡ଼ ବାଳକ ଉଚ୍ଚବିଦ୍ୟାଳୟର ଏକାଡେମିକ୍ ବ୍ଲକ୍, ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ସମ୍ପ୍ରସାରଣ, ଦେବଗଡ଼ ଜିଲ୍ଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ା ଜିଲ୍ଲାର ମରାକୁଟାଠାରେ କହ୍ନେଇନାଳ ଉପରେ ପୋଲ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଟାଉନ୍‌ ହଲ୍‌, ଜୁନାଗଡ଼ ଏନ୍‌ଏସିରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍, ନୂଆପଡ଼ା ଜିଲ୍ଲାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ଉଦ୍‌ଘାଟନ କରିବେ। ସେହିପରି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପର୍ଯ୍ୟଟନସ୍ଥଳୀର ବିକାଶ, ବରଗଡ଼ ସହରରେ ଏକ ୫୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟୀକରଣ, ଆଲୋକୀକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ ଡ୍ରେନ୍, ବଲାଙ୍ଗୀର ସହରରେ ଏକ ୫୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ବୌଦ୍ଧ ଜିଲ୍ଲା ବୀରନରସିଂହପୁର ଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଇକୋ ପାର୍କ, କଳାହାଣ୍ଡି ଜିଲ୍ଲାର ବିଶ୍ବନାଥପୁରଠାରେ କଲ୍ୟାଣ ମଣ୍ଡପ, ସମ୍ବଲପୁର ଜିଲ୍ଲାର କୁଚିଣ୍ଡାଠାରେ ମୁକୁଣ୍ଡି ଷ୍ଟାଡିୟମ୍‌ର ଉନ୍ନତୀକରଣ ଓ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁରଠାରେ ହସ୍ତତନ୍ତ ମଲ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

Breaking News