Report Card Odisha

| Daily Odia News

ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର 

ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଟକ ଗସ୍ତରେ ଯାଇ ପ୍ରଥମେ କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାକୁ ମାନବତାର ପ୍ରତିମୂର୍ତ୍ତୀ ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି । ତେଣୁ ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାତ୍ମା ଗାନ୍ଧୀଙ୍କ ଓଡିଶା ଆସିବାର ୧୦୦ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ମୁଖ୍ୟମନ୍ତ୍ରୀ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି । ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ୮ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ଭର୍ତ୍ତୃହରି ମହତାବ, ସାଂସଦ ସୁବାସ ସିଂହ କଟକ ଜିଲ୍ଲାର ବିଧାୟକ, ଗଣ ସମାଜ ଅନୁଷ୍ଠାନର କାର୍ଯ୍ୟକର୍ତ୍ତାମାନେ ଊପସ୍ଥିତ ଥିଲେ ।

Breaking News