ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଓ ଝଟ୍କା ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର ଦୁଇଦିନ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ଅକ୍ଟୋବର ୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏପଟେ ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍ମାର ଉପକୂଳ ଉପରେ ଥିବା ଗଭୀର ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ସନ୍ଧ୍ୟାବେଳକୁ ମ୍ୟାନ୍ମାର ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ସଂଲଗ୍ନ ମ୍ୟାନ୍ମାର, ମିଜୋରାମ, ତ୍ରିପୁରା ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଆଡ଼କୁ ଗତିକରି କ୍ରମଶଃ ଦୁର୍ବଳ ହେବ ବୋଲି ସୂଚନା ଦିଆଯାଇଛି।






More Stories
ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ…..
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..