ରିପୋର୍ଟ କାର୍ଡ / ଭୁବନେଶ୍ବର
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗର ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ରୁ ୩ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା, ଗାେଙ୍ଗୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ମଧ୍ୟଦେଇ ଗତି କରିବା ସମ୍ଭାବନା ରହିଛି। ପାଣିପାଗ ବିଭାଗର ଆକଳନ, ୧୯ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନ ରହିଛି। ୧୮ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଫଳସ୍ବରୂପ ସାରା ରାଜ୍ୟରେ ଭଲ ବର୍ଷା ହେବା ସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯.୧ମି.ମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୧୧.୯ ମି.ମି ତୁଳନାରେ ୨୧ ପ୍ରତିଶତ କମ୍ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ଜିଲାଗୁଡ଼ିକୁ କମଳା ସତର୍କତା(ଅରେଞ୍ଜ ୱାର୍ଣ୍ଣିଂ) ଦିଆଯାଇଛି। ମାଲକାନଗିରି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା( ୟେଲୋ ୱାର୍ଣ୍ଣିଂ) ଜାରି କରାଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..