Report Card Odisha

| Daily Odia News

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ନବମ ଦିନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଆଜିର କାର୍ଯ୍ୟକ୍ରମ ପାଇଁ କଳାହାଣ୍ଡି ଜିଲ୍ଲାର ୫ଟି ଓ ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। କଳାହାଣ୍ଡି ଜିଲ୍ଲାରେ ୧୫୫ କୋଟି ଟଙ୍କା ବ୍ୟୟରେ ୪ ହଜାର ୬୭୮ ପ୍ରକଳ୍ପ ଏବଂ ନବରଙ୍ଗପୁର ଜିଲ୍ଲାରେ ୯୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୨ହଜାର ୯୪୨ ଗୋଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହା ଦ୍ବାରା ଉଭୟ ଜିଲ୍ଲାରେ ମୌଳିକ ଭିତ୍ତିଭୂମି ​କ୍ଷେତ୍ରରେ ବିକାଶ ଘଟିବା ସହ ଆଦିବାସୀ ସଂସ୍କୃତିର ବିକାଶ ଘଟିବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁର ଲୋକମାନେ ହିଁ ନୂଆ ଓଡ଼ିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡ଼ିଶା ନବୀନ ଓଡ଼ିଶା। ନବୀନ ଓଡ଼ିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

 

 

Breaking News