Report Card Odisha

| Daily Odia News

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଲୋକାର୍ପଣ କଲେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର ଯାଇଥିଲେ। ସେଠାରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳାଦ୍ରି ବିହାରରେ ଆଦିବାସୀ ଦେବସ୍ଥାନ ସାନ୍ତାଳୀ ପୀଠରେ ପୂଜାର୍ଚ୍ଚନା କରିଥିଲେ। ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କରିଥିଲେ। ତା’ ପରେ ପାଖରେ ଥିବା ଏକ ପାର୍କ ବୁଲି ଦେଖିଥିଲେ। ପ୍ରତିମୂର୍ତ୍ତି ଲୋକାର୍ପଣ ପରେ ରାଷ୍ଟ୍ରପତି ରାଜ ଭବନ ଫେରିଛନ୍ତି। ଆଜି ରାତିରେ ରାଷ୍ଟ୍ରପତି ରାଜ ଭବନରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ପୁରୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ପୁରୀରେ ମହାପ୍ରଭୁଙ୍କ ଦର୍ଶନ, ନୌସେନା ଦିବସରେ ଯୋଗଦାନ କରିବେ | ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରିବେ। ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀସ୍ଥିତ ତାଳବଣୀଆ ହେଲିପ୍ୟାଡରେ ଅବତରଣ କରିବେ। ସେଠାରେ ପୂର୍ବାହ୍ଣ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ୧୦.୫୦ରେ ପୁରୀସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ। ବୁଧବରୀ ରାତି ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି।

Breaking News