Report Card Odisha

| Daily Odia News

ପ୍ରଫୁଲ୍ଲ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ,ମୁଖ୍ୟମନ୍ତ୍ରୀଙ୍କ ଶୋକ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର

ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୟୁଟରରେ ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି, ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ। ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ। ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ। ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି |

ସେହିପରି ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି, ଓଡ଼ିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି। ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି। ଓଡ଼ିଶାର ସ୍ବନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି।

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ୱଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

Breaking News