ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଥିଲେ। ବିମାନ ବନ୍ଦରରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୁଲିସ ମହାନିର୍ଦେଶକ ୱାଇ.ବି ଖୁରାନିଆ, ପୋଲିସ ଆୟୁକ୍ତ ଏସ୍. ଦେବଦତ୍ତ ସିଂହ ଏବଂ ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ ପ୍ରମୁଖ ସ୍ବାଗତ କରିଛନ୍ତି। ପରେ ସ୍ବତନ୍ତ୍ର ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବିମାନ ବନ୍ଦରରୁ ଲୋକଭବନରେ ପହଞ୍ଚିଥିଲେ। କିଛି ସମୟ ପରେ ଲୋକଭବନରେ କିଛି ସାକ୍ଷାତ କାର୍ଯ୍ୟକ୍ରମ ସାରି ରାତ୍ରିଯାପନ କରିଥିଲେ।ଆଜି ସକାଳେ ସେ ଯାଜପୁର ଗସ୍ତ କରି ବିରଜା ମନ୍ଦିର ପରିଦର୍ଶନ କରି ନାଭିଗୟାଠାରେ ପୂଜାର୍ଚ୍ଚନା କରିବେ। ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀରମୋହନ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଦିନ ସନ୍ଧ୍ୟାରେ ସେ ପୁରୀ ଗସ୍ତ କରି ଶ୍ରୀଜଗନ୍ନାଥ ମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ, ଆଳତି ଏବଂ ପିଣ୍ଡଦାନ କରିବେ। ୪ ତାରିଖ ସକାଳେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ରାଇରଙ୍ଗପୁର ମହୁଲଡିହାସ୍ଥିତ ଅବକାଶ ଗୃହ ହୋଲିଡେ ହୋମ୍ ଉଦ୍ଘାଟନ କରିବା ସହ ସେଠାରେ ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ନୋଚନ କରିବେ। ପରେ ବୈଦପୁରରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦ୍ଘାଟନ କରିବେ। ୪ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ୫ ତାରିଖ ସକାଳେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରରେ ବିଶେଷ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରପତି ଅପରାହ୍ଣରେ ଶିମିଳିପାଳ ଗସ୍ତ କରିବେ। ୬ତାରିଖ ସକାଳେ ସେଠାରେ ମହିଳା ଏବଂ ଆଦିବାସୀ ଗୋଷ୍ଠୀର ଯୁବବର୍ଗଙ୍କ ସହିତ ବାର୍ତ୍ତା ବିନିମୟ କରିବେ। ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚି ରାଜ୍ୟ ସରକାର ଏବଂ ଗ୍ଲୋବାଲ ଫିନାନ୍ସ ଟେକ୍ନୋଲୋଜି ନେଟ୍ୱର୍କର ମିଳିତ ଆୟୋଜନରେ ଅନୁଷ୍ଠିତ ‘ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଇଣ୍ଡିଆ’ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୭ତାରିଖ ସକାଳେ ଭୁବନେଶ୍ୱର ବିମାନ ବନ୍ଦରରୁ ଛତିଶଗଡ଼ ଅଭିମୁଖେ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଏବଂ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ସୁଚାରୁରୂପେ କରାଯିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..