Report Card Odisha

| Daily Odia News

ଆଜିଠାରୁ ବର୍ଷା , ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୯ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି| ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ବି କାଳବୈଶାଖୀ ପ୍ରଭାବରୁ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଲଘୁଚାପ ରୂପ ନେବ ବୋଲି ଆକଳନ କରାଯାଉଥିଲା । କିନ୍ତୁ ଏହା ଧୀରେ ଧୀରେ ଦୁର୍ବଳ ହେଉଛି । ଏହା ଆଉ ଲଘୁଚାପ ରୂପ ନେବନି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୯ ଓ ୧୦ ତାରିଖରେ ବି ଏହି ସବୁ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୫ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଦିନବେଳାର ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ସେପଟେ ଗୁରୁବାର ୫ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରର ତାପମାତ୍ରା ସର୍ବାଧିକ ୪୧.୫ ଡିଗ୍ରୀ ରହିଥିଲା ।

Breaking News